ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା। ଦକ୍ଷିଣ ଉପକୂଳ ଓ ଏହାର ଆଖପାଖରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ୱେଲମାର୍କ ଲୋ ପ୍ରେସର୍ ଘନୀଭୂତ ହେବା କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ୨ -୩ ଦିନ ହେବ ବର୍ଷା ଜାରି ରହିଛି। ଆଜିଠୁ ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢିବ। ୭୦ ମିଲିମିଟର ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
ଆଜି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ବରଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।
ସେହିପରି ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଉଛି କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା। ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ସକ୍ରିୟ ମୌସୁମୀ ଯୋଗୁ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ବର୍ଷା ଯୋଗୁ କିଛି ସ୍ଥାନରେ ପାଣି ଜମିବାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କ ସତର୍କ ରହିବାକୁ ପରାମର୍ଶ ଦେଇଛି ଏସଆରସି ।
ତେବେ ଗତ ୨୪ ଘଣ୍ଟାରେ ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ନବରଙ୍ଗପୁର ଝରିଗାଁରେ ସର୍ବାଧିକ ୧୧୮ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ସେହିପରି ନବରଙ୍ଗପୁର ଉମରକୋଟ ଏବଂ ବରଗଡ଼ର ବରପାଲି ଅଂଚଳରେ ୧୦୪ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।